ଏହି ଲେଖାଟି ଓଡ଼ିଶାର ପର୍ବ ଅକ୍ଷୟ ତୃତୀୟା ବାବଦରେ । ଓଡ଼ିଆ କଥାଚିତ୍ର ନିମନ୍ତେ, ଅକ୍ଷିତୃତୀୟା ପ୍ରସଙ୍ଗଟି ଦେଖନ୍ତୁ ।
ଅକ୍ଷୟ ତୃତୀୟା
ଅନ୍ୟ ନାମ ଅକ୍ଷିତୃତୀୟା
ଧର୍ମାନୁଷ୍ଠାନ ଅକ୍ଷିମୁଠି ଅନୁକୂଳ, ଚନ୍ଦନଯାତ୍ରା ଆରମ୍ଭ
ତାରିଖ ବୈଶାଖ ଶୁକ୍ଳ ତୃତୀୟା
୨୦୧୬ ତାରିଖ ୯ ମଇ (ସୋମବାର)
୨୦୧୭ ତାରିଖ ୨୮ ଅପ୍ରେଲ (ଶୁକ୍ରବାର)
୨୦୧୮ ତାରିଖ ୧୮ ଅପ୍ରେଲ (ବୁଧବାର)

ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଏହି ଦିନକୁ ଔପଚାରିକ ଭାବେ ସରକାରୀ ସ୍ତରରେ କୃଷକ ଦିବସ ରୂପେ ପାଳନ କରାଯାଏ । କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି (ଅକ୍ଷୟମୁଠି) ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।

ବିଷୟସୂଚୀ

ଅକ୍ଷୟ ତୃତୀୟା ବ୍ରତସମ୍ପାଦନ କରନ୍ତୁ

ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ସହିତ କୃତ୍ତିକା ବା ରୋହିଣୀ ନକ୍ଷତ୍ରଯୁକ୍ତ ହେଲେ ମହାଫଳ ପ୍ରାପ୍ତିହୁଏ । ଏହାକୁ ବ୍ରତ ରୂପେ ପାଳନ କରାଯାଏ । ବ୍ରତୀମାନେ ଶୁଦ୍ଧକାଳରେ ଏହି ବ୍ରତକୁ ଆରମ୍ଭକରି ଆଠବର୍ଷରେ ଉଦ୍‌ଯାପନ କରନ୍ତି । ଏହିଦିନ ଜଳଦାନ କଲେ କି ପୁଣ୍ୟଫଳ ମିଳେ ସେ ସଂପର୍କରେ ଚମତ୍କାର ଉପାଖ୍ୟାନଟି ଏହିପରି- ପୁରାକାଳରେ ଜଣେ ପାପୀ ବ୍ରାହ୍ମଣ ଥିଲା । ସେ ତା’ ଜୀବନରେ କିଛି ଦାନ ଧର୍ମକାର୍ଯ୍ୟ କରି ନଥିଲା । ଥରେ ତା’ ଗୃହକୁ ଅନ୍ୟ ଜଣେ ତୃଷାର୍ତ୍ତ ବ୍ରାହ୍ମଣ ଆସି ଜଳଭିକ୍ଷା କଲା । ପାପୀ ବ୍ରାହ୍ମଣ ତାକୁ ଜଳ ନଦେଇ ନିଷ୍ଠୁର ଭାବେ ଗୃହରୁ ବିତାଡିତ କଲା ସମୟରେ ସୁଶିଳା ନାମ୍ନୀ ତା’ର ସ୍ତ୍ରୀ ଆସି ସ୍ୱାମୀକୁ ସେ କାର୍ଯ୍ୟରୁ ନିବୃତ୍ତ କଲା ଓ ତୃଷାର୍ତ୍ତକୁ ଜଳଦାନ କଲା । କିଛି ବର୍ଷ ପରେ ପାପୀ ବ୍ରାହ୍ମଣର ମୃତ୍ୟୁ ହେଲା । ଯମଦୂତମାନେ ଆସି ତାକୁ ବାନ୍ଧି ନେଇଗଲେ । ଯମପୁରୀରେ ଥାଇ ଥରେ ସେ ତୃଷାର୍ତ୍ତ ହୋଇ ଯମଦୂତଙ୍କୁ ଜଳଭିକ୍ଷା କଲା । ଯମଦୂତମାନେ ତାହାକୁ ତିରଷ୍କାର କରି କହିଲେ- ନିଜ ଜୀବନରେ କେବେ ଜଳଦାନ ନକରି ଜଳଭିକ୍ଷା କରୁଛୁ କିପରି, ପାପୀ ? ଏହି ସମୟରେ ସ୍ୱୟଂ ଯମରାଜ ସେଠାରେ ପହଞ୍ଚି ସ୍ୱହସ୍ତରେ ସେ ବ୍ରାହ୍ମଣକୁ ଜଳଦାନ କଲେ । ଦୂତମାନେ ଆଶ୍ଚର୍ଯ୍ୟ ହୋଇ ଏହାର କାରଣ ପଚାରିବାରୁ ଯମରାଜ କହିଲେ – ଏହି ବ୍ରାହ୍ମଣ ସାରା ଜୀବନ ପାପକର୍ମ କରିଥିଲେ ସୁଦ୍ଧା ଅକ୍ଷୟତୃତୀୟା ଦିନ ଏହାର ସ୍ତ୍ରୀ ତୃଷାର୍ତ୍ତ ବ୍ରାହ୍ମଣକୁ ଜଳଦାନ କରିଥିଲା । ସ୍ତ୍ରୀର ସେହି ପୁଣ୍ୟବଳରୁ ଏହାର ପାପ ଖଣ୍ଡନ ହୋଇଛି । ତେଣୁ ଏହାର ଆଉ ନର୍କଭୋଗ ଯୋଗ ନାହିଁ । ମହର୍ଷି ଜନକ ଭାରତୀୟ କୃଷିଜୀବୀ କୁଳର ପ୍ରତିନିଧି ରୂପେ ନିଜେ ଭୂମିପୂଜା କରି ବୀଜବପନ କରୁଥିଲେ । ଭୂମିକର୍ଷଣ ସମୟରେ ସେ ସୀତାଙ୍କୁ ଲାଭ କରିଥିବାରୁ ଋକ୍ ବେଦରେ ସୀତା ଉତ୍କୃଷ୍ଟ ବୀଜଦାତ୍ରୀ ରୂପେ ବର୍ଣ୍ଣିତ ହୋଇଛନ୍ତି । ବୈଦିକ ଋଷିମାନେ ଅକ୍ଷୟ ଶସ୍ୟ ପ୍ରଦାନ କରିବା କାମନାରେ ସୀତାଙ୍କୁ ସ୍ତୁତି କରିଛନ୍ତି । ଆଗ୍ନେୟ ପୁରାଣ, ବିଷ୍ଣୁ ଧର୍ମୋତ୍ତର ପୁରାଣ ଓ ଭବିଷ୍ୟ ପୁରାଣାଦିରେ ଅକ୍ଷୟ ତୃତୀୟାକୁ ଗୋଟିଏ ପ୍ରଶସ୍ତ ଶୁଭଦିନ ରୂପେ ବର୍ଣ୍ଣନା କରାଯାଉଛି । [୨]

ରଥନିର୍ମାଣର ଶୁଭାନୁକୂଳସମ୍ପାଦନ କରନ୍ତୁ

ଏହିତିଥିରେ ଶ୍ରୀଜୀଉମାନଙ୍କର ରଥନିର୍ମାଣ ପାଇଁ ଅନୁକୂଳ କରାଯାଏ । ତନ୍ତ୍ରବିଧି ଅନୁସାରେ ମହାକାଳୀ ମନ୍ତ୍ରରେ ପୂଜିତ କୁରାଢି ଲଗାଇ ବନଯୋଗହୋମର ଆଚାର୍ଯ୍ୟ ତଥା ଦେଉଳ ପୁରୋହିତ ରଥନିର୍ମାଣର ଶୁଭାରମ୍ଭ କରିଥାନ୍ତି । ତାଳଧ୍ଵଜ, ଦେବଦଳନ ଓ ନନ୍ଦିଘୋଷ ରଥ ପାଇଁ ଉଦ୍ଦିଷ୍ଟ ଗୋଟିଏ ଧଉରା କାଠ ଗଣ୍ଡିରେ କୁରାଢି ସ୍ପର୍ଶ କରାଯାଇଥାଏ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ଚନ୍ଦନଠାକୁରଙ୍କ ସହ ପଟୁଆରରେ ରଥଖଳାକୁ ଆସିଥାଏ । ଏହାକୁ ତିନିଜଣ ପୂଜାପଣ୍ଡା ଆଣିଥାନ୍ତି । ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖସ୍ଥ ରଥଖଳାରେ ଶ୍ରୀମନ୍ଦିର ପୁରୋହିତ, ରାଜଗୁରୁ ଓ ସ୍ତ୍ରୋତୀୟ ବ୍ରାହ୍ମଣମାନେ ବନଯୋଗ ପୂଜା ସମ୍ପାଦନା କରିବାର ବିଧି ରହିଛି । ରୂପକାର, କମାର, ଚିତ୍ରକର, ଭୋଇ, ଅମୀନସେବକମାନଙ୍କ ଉପସ୍ଥିତିରେ ବିଶ୍ଵକର୍ମାଙ୍କ ଶାଢୀବନ୍ଧା ନୀତି ପାଳିତ ହୁଏ । ରଥ ସଂହିତା ଓ ଶିଳ୍ପଶାସ୍ତ୍ର ଅବଲମ୍ବନରେ ରଥନିର୍ମାଣ କରାଯାଏ । ଏଥିରେ ୧୧୩୯ ଖଣ୍ଡ କାଠଲାଗିଥାଏ । ସେହି କାଠଗୁଡିକ ହେଲା ଫାସି, ଅସନ, ଧଉରା, ଶିମିଳି, ପାଳଧୂଆ, ମହାନିମ୍ବ, ଗମ୍ଭାରୀ, ମଇ, କଦମ୍ବ, ଦେବଦାରୁ ଇତ୍ୟାଦି । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର କର୍ମଚାରୀ ରଥଖଳାରେ ଉପସ୍ଥିତ ରହି ଏହିକାର୍ଯ୍ୟ ସୁରୁଖୁରରେ ହେବାରେ ସାହାଯ୍ୟ କରିଥାନ୍ତି । ବାହାର ଚନ୍ଦନ ଯାତ୍ରାର ଶେଷଦିନ ରଥ ଅଖରେ ଚକ ଲାଗେ । [୩]

ଏହି ଦିନର ବିଶେଷତ୍ଵସମ୍ପାଦନ କରନ୍ତୁ

ଆଉରି ଦେଖନ୍ତୁସମ୍ପାଦନ କରନ୍ତୁ

ଆଧାରସମ୍ପାଦନ କରନ୍ତୁ

  1. "2015 Akshaya Tritiya". DrikPanchang. Retrieved 2 November 2014. 
  2. ସମାଜ ରବିବାର, ପୃଷ୍ଠା- ୭, ଅପ୍ରେଲ ୨୨- ୨୮, ୨୦୧୨
  3. ଆଦିତ୍ୟ ନାରାୟଣ ମିଶ୍ର, ସୂର୍ଯ୍ୟପ୍ରଭା, ପୃଷ୍ଠା- ୯, ମଙ୍ଗଳବାର, ଅପ୍ରେଲ ୨୪, ୨୦୧୨
  4. "May 2011 – Akshaya Tritiya – Akhatrij Subh Muhurat (Akha Teej ) | The Chakra News". chakranews.com. Retrieved 21 March 2013. Parashuram was born on this day. 

ଅଧିକ ତଥ୍ୟସମ୍ପାଦନ କରନ୍ତୁ