ମୁଖ୍ୟ ସୂଚୀ ଦେଖିବେ

ମାଣବସା ଗୁରୁବାର ଓଷା (ମାଣବସାମାଣ ଓଷା ନାମରେ ମଧ୍ୟ ଜଣା) ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ମହାଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ମାର୍ଗଶିର ମାସରେ ଓଡ଼ିଆ ନାରୀମାନେ ଏହି ଓଷା ପାଳନ କରିଥାନ୍ତି । ଏହି ପୂଜା ଅନ୍ୟ ଦେଶ ଓ ରାଜ୍ୟମାନଙ୍କରେ ପ୍ରଚଳନ ନାହିଁ । ମାଣବସା ଓଷାକୁ ଲକ୍ଷ୍ମୀପୂଜା ମଧ୍ୟ କୁହାଯାଏ । ଏହି ଓଷାକୁ ଓଡ଼ିଶାର ସମସ୍ତ ଜାତିର ଲୋକେ ପାଳନ କରିଥାନ୍ତି । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । [୧] ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ ।

ମାଣବସା ଗୁରୁବାର ଓଷା
Manabasa Gurubara Mahalaxmi puja.jpg
ଗୁରୁବାର ପୂଜାରେ ସଜା ହେଇଥିବା ମାଣ
ଅନ୍ୟ ନାମମାଣବସା
ପର୍ବ ପାଳନ୪/୫ଟି ଗୁରୁବାର
ତାରିଖମାର୍ଗଶିର ଗୁରୁବାର
୨୦୧୯ ତାରିଖdate missing (please add)
ସମ୍ପର୍କିତଲକ୍ଷ୍ମୀଙ୍କ ପୂଜା

ନାମକରଣସମ୍ପାଦନ କରନ୍ତୁ

ମାଣ ବସାଇବାରୁ "ମାଣବସା" ନାମ ଆଧାରିତ ।[୨] ଚାଉଳ ଆଦି ଶସ୍ୟ ମାପିବା ପାଇଁ ମାଣ ବ୍ୟବହାର ହୋଇଥାଏ । ଏହି ଓଷାରେ ଧାନମାଣ ବସାଇ ତାହାକୁ ପୂଜା କରାଯାଉଥିବାରୁ ଓଷାଟି ମାଣବସା ନାମରେ ଜଣା ।

ପ୍ରକାରସମ୍ପାଦନ କରନ୍ତୁ

ଏହି ପର୍ବ ସମାନ ବିଧିରେ ଓଡ଼ିଶାର ବିଭିନ୍ନ ଆଦିବାସୀ ସମାଜରେ ମଧ୍ୟ ପାଳିତ ହୋଇଥାଏ । ସାନ୍ତାଳମାନେ "ଇରୁ ମାମଣେ", ଭୂୟାଁମାନେ "ମଗୁଶୀର ଗୁରୁବାର ହଲବା", ହୋଓମାନାତ୍ୟାମାନେ ଲକ୍ଷ୍ମୀ ପୂଜା କରିଥାନ୍ତି । ଏହି ସମୟରେ ସନ୍ତାନସନ୍ତତି ନଥିବା ନାରୀମାନେ ସନ୍ତାନ ଆଶାରେ କାଞ୍ଜି ଅଁଳା ବା"ଶୁଖୁଆ ବୋହୁ" ବା "ଷଠି ଓଷା" କରିଥାନ୍ତି । [୩]

କିମ୍ବଦନ୍ତୀସମ୍ପାଦନ କରନ୍ତୁ

ମାଣବସା ଗୁରୁବାରର କିମ୍ବଦନ୍ତୀ ବଳରାମ ଦାସଙ୍କ ଲକ୍ଷ୍ମୀ ପୁରାଣରେ ବଖଣାଯାଇଛି । ଏଥି ମତେ ଦାସଦାସୀ ପରିବେଷ୍ଟିତ ଲକ୍ଷ୍ମୀ ଦିନେ ସ୍ୱାମୀଙ୍କ ଠାରୁ ମାଣବସା ଗୁରୁବାର ଅନୁମତି ନେଇ ଦେଶ ଭ୍ରମଣରେ ବ୍ରାହ୍ମଣୀରୁ ପରେ ବଡ଼ ଦେଉଳରୁ ବିଜେ କଲେ । କିଏ ତାଙ୍କୁ ପୂଜୁଛି ତାହା ଜାଣିବା ନିମନ୍ତେ ସେ ଘର ଘର ବୁଲିଲେ । ଅନେକ ଧନୀ, ବଡ଼ ଲୋକ ସେଦିନ ଗୁରୁବାର ବୋଲି ଭୁଲି ଯାଇଥିବା ଦେଖିବା ପରେ ସେ ଶ୍ରୀୟା ନାମକ ଜଣେ ଚଣ୍ଡାଳୁଣୀ ଘରେ ପହଞ୍ଚିଥିଲେ। ଘରଦ୍ୱାର ପରିଷ୍କାର କରି ଲିପାପୋଛା କରି ଶ୍ରୀୟା ତାଙ୍କ ପୂଜା ପାଇଁ ସଜ, ଭୋଗ-ନୈବେଦ୍ୟ ଆଦି ସଜାଡ଼ି ରଖୁଥିଲା । ଲକ୍ଷ୍ମୀ ତାହାଙ୍କ ଭକ୍ତିରେ ମୁଗ୍ଧ ହୋଇ ସେଠାରେ ହିଁ ରହିଗଲେ । ଏହା ଶୁଣି ବଳରାମ କୋପକଲେ । ସେତେବେଳର ସମାଜରେ ଅଛୁଆଁ ଭାବେ ଗଣା ଯାଉଥିବା ଚଣ୍ଡାଳୁଣୀର ଘରେ ପାଦ ଦେଇଥିବାରୁ ବଡ଼ଦେଉଳ ଦ୍ୱାର ଲକ୍ଷ୍ମୀଙ୍କ ପାଇଁ ବନ୍ଦ ହୋଇଥିଲା । ଅପମାନିତ ହୋଇ ସେ ଘରୁ ବାହାରି ଗଲେ । ଯିବା ବେଳେ ପଣ କଲେ କାଳିଆ-ବଳିଆ (ଜଗନ୍ନାଥ-ବଳଭଦ୍ର) ଦୁଇ ଭାଇଙ୍କୁ ଉଚିତ ଶିକ୍ଷା ଦେବେ । ଲକ୍ଷ୍ମୀଙ୍କ ନିର୍ଦ୍ଦେଶରେ ସମୁଦ୍ର କୂଳରେ ଆଉ ଏକ ପ୍ରାସାଦ ଗଢ଼ାହେଲା ତାଳବେତାଳ ବଡ଼ଦେଉଳରୁ ସବୁ ଜିନିଷ ଲୁଟିନେଇ ତାହାକୁ ଶ୍ରୀହୀନ କରିଦେଲେ । ଖାଇବାକୁ ନପାଇ ଦୁଇଭାଇ ଭୋକରେଆଉଟୁ ପାଉଟୁ ହୋଇ ଶେଷରେ ସେହି ପ୍ରାସାଦ ସମ୍ମୁ ଖରେ ପହଞ୍ଚିଲେ। ପ୍ରାସାଦ ମାଲିକାଣୀଙ୍କ ଅତିଥେୟତାରେ ବିମୁଗ୍ଧ ହୋଇ ସେମାନେ ପ୍ରାସାଦ ମାଲିକ/ମାଲିକାଣୀଙ୍କୁ ଲୋଡ଼ିଲେ। ଆଉ ପରିଚୟ ପାଇବା ପରେ ନିଜକୁ ଲଜ୍ଜିତ ମନେ କଲେ ଦୁଇ ଭାଇ । ଶୁଚିଶୁଦ୍ଧ ଲୋକର ଦ୍ୱାରକୁ ଯିବାକୁ ବାରଣ ନାହିଁ କି ଛୁଆଁ ଅଛୁଆଁ ଭେଦଭାବ ରହିବ ନାହିଁ ବୋଲି ପ୍ରତିଶ୍ରୁତି ପାଇବା ପରେ ଲକ୍ଷ୍ମୀ ଶ୍ରୀମନ୍ଦିରକୁ ବାହୁଡ଼ିଥିଲେ । [୪]

ବିଧିସମ୍ପାଦନ କରନ୍ତୁ

 
"ଧାନ ମେଣ୍ଟା" ବା "ଧାନ ଗହଣି"
 
ଲକ୍ଷ୍ମୀ ସାଆନ୍ତାଣୀଙ୍କ ପୂଜାର୍ଚ୍ଚନା
 
ଚାଉଳ ବଟାରେ ଝୋଟି ଚିତା କାଟିବା

ମାର୍ଗଶିର ମାସରେ ପ୍ରଥମ ଧାନ ଅମଳ ଆରମ୍ଭ ହୁଏ । ଚାଷୀ ତା’ର ଖଳାକୁ ଧାନହଳା ଆଣିଥାଏ । ଧାନ ଅମଳ କରି ଘରକୁ ଆଣିବା ଆଗରୁ ତା'ର ଘରଣୀ ଏଥିରୁ ଧଳାଧାନର ଶିଶା ବାଛି ବାହାର କରିଥାଏ। ଏହି ଧାନର ଶିଶାରେ ବେଣୀ ବାନ୍ଧି ମେଣ୍ଟିବା ମେଣ୍ଟା ପ୍ରସ୍ତୁତ କରି ଏହାକୁ ଶୁଖାଇ ଅତି ଯତ୍ନ ଓ ଆଦରରେ ରଖିଥାଏ । ଗୁରୁବାର ଓଷାର ପୂର୍ବଦିନରୁ ଘର ଦ୍ୱାର ଅଗଣା ଓ ଘର ଚାରିପାଖ ଗୋବର ମାଟିରେ ଲିପା ପୋଛା କରି ପରିଷ୍କାର କରିଥାଏ ।[୫] ଅମଳ ପରେ ଖଳାରେ ସେହି ସ୍ତୁପୀକୃତ ଧାନକୁ ଅନ୍ନ ଓ ଧନର ଦେବୀ ଲକ୍ଷ୍ମୀଙ୍କର ଆଶିଷ ବୋଲି ମାନି ଏହି ଓଷା ପାଳନ କରାଯାଇଥାଏ । [୬]

 
ଗୁରୁବାରରେ କରାଯାଇଥିବା ଝୋଟି । ଏହି ଚିତାକୁ 'ତ୍ରିଶାଖା ଗୁଚ୍ଛ' କୁହାଯାଏ ।

ମାଣବସା ଗୁରୁବାର ଓଷା ପୂର୍ବଦିନ ରାତିରେ ଗୃହିଣୀମାନେ ଘରଦ୍ୱାର ଲିପାପୋଛା କରି ଝୋଟିଚିତା ପକାଇଥାନ୍ତି । ଗୁରୁବାର ଦିନ ବଡ଼ିଭୋରରୁ ଉଠି ନାରୀମାନେ ସ୍ନାନାଦି କାର୍ଯ୍ୟ ସାରି ଲକ୍ଷ୍ମୀଙ୍କ ପୂଜା ଆରମ୍ଭ କରିଥାନ୍ତି । ଗାଁମାନଙ୍କରେ ମହିଳାମାନେ ମାଟିଘରକୁ ଗୋବରରେ ଲିପାପୋଛା କରି ନୂତନ ଚାଉଳର ପିଠଉରେ ଝୋଟି ଏବଂ ଲକ୍ଷ୍ମୀପାଦରେ ଆଙ୍କନ୍ତି । ଘରର ପ୍ରତ୍ୟକ ଦୁଆର ଅଗଣା କାନ୍ଥ ଓ ଚାରିପାଖ ଝୋଟି ଚିତାଦ୍ୱାରା ସଜାଯାଇଥାଏ । ମାଣ ଖଟୁଲି ଉପରେ ଏକ ନୂଆ ମାଣରେ ଧଳାଧାନ ଭରି ରଖାଯାଏ ।[୭] ହଳଦୀ ଓ ଗୁଗୁଳ ବାଟି ମାଣର ଉପରପାଶ୍ୱର୍ରେ ଲେପ ଦିଆଯାଏ ଯାହାଏକ ମୁହଁର ରୂପ ନେଇଥାଏ । ସେଥିରେ କଉଡିକୁ ଆଖିଭାବେ ବ୍ୟବାରକରି ନିଜର ସୃଜନ ଶୈଳିଦ୍ୱାରା ମାଣକୁ ଏକ ସୁନ୍ଦର ମୁହଁର ରୂପ ଦେଇ ଖଟୁଲିରେ ରଖି ତା ଉପରେ ଧାନର ମେଣ୍ଟାକୁ ରଖାଯାଏ । ନାଲିଛିଟ ଓ ସୁନ୍ଦର ପାଟକନାରେ ଓଢଣୀ ଦେଇ ଏହାକୁ ଏକ ନବ ବଧୂର ରୂପ ସଦୃଶ କରାଯାଏ । କେହି କେହି ମାଣକୁ କାରିଗରଦ୍ୱାରା ଗଢାଇ ସୋଲ ଓ ଅନ୍ୟାନ୍ୟ ଦ୍ରବ୍ୟରେ ସେଥିରେ ଆଖି, ନାକ, କାନ ସୁନ୍ଦର ଭାବେ ଗଢାଇ ପୂଜା କରିଥାନ୍ତି । ମା’ଲକ୍ଷ୍ମୀଙ୍କର ଖଟୁଲି ବା ଆସ୍ଥାନ ଚାରିପଟେ ଷୋଳ ପାଖୁଡା ବିଶିଷ୍ଟ ଦିବ୍ୟ, ପଦ୍ମ ଅଙ୍କନ କରାଯାଇଥାଏ । ଘରର ଚତୁଃପାଶ୍ୱର୍ରୁ ମା’ଙ୍କର ପଦ୍ମ ପାଦର ଚିତା ଆସ୍ଥାନ ପର୍ଯ୍ୟନ୍ତ ଅଙ୍କାଯାଏ । କେହି କେହି ଗବପତ୍ର, ଗୟାତୁଳସୀ, କଳାପାତି, ସିନ୍ଦର ଫରୁଆ, ପିତ୍ତଳମୂର୍ତ୍ତି ଇତ୍ୟାଦି ମଧ୍ୟ ରଖିଥାନ୍ତି । ଧାନଖଳାକୁ ମଧ୍ୟ ସେଦିନ ଝୋଟିଚିତାରେ ଚିତ୍ରିତ କରାଯାଇଥାଏ । ଲକ୍ଷ୍ମୀଙ୍କର ସ୍ଥାପନା ପାଇଁ ଠାକୁରଘରର ଏକ ସ୍ୱତନ୍ତ୍ର ସ୍ଥାନ ନିରୂପଣ କରାଯାଏ । ପୂଜାସ୍ଥାନରେ ପିଠଉରେ କୋଠି କରି ଷୋହଳ ପାଖୁଡା ପଦ୍ମଫୁଲ ଅଙ୍କାଯାଏ । ପୂଜା ପାଇଁ ପୂର୍ବରୁ ପ୍ରସ୍ତୁତ କରି ରଖାଯାଇଥାଏ ଅମଳ ହୋଇଥିବା ଶୁକ୍ଳଧାନ , ମାଣ, ଗୁଆ, କଉଡି, ନଡିଆ, ଦୁବ, ବରକୋଳି ପତ୍ର, ସିନ୍ଦୂର, ଧୂପଦୀପ ଓ ନୈବେଦ୍ୟ । ମାଣ ବସାଇବା ପୂର୍ବରୁ ସେହିମାଣକୁ ହଳଦୀ ପାଣିରେ ଧୋଇ ଖରାରେ ଶୁଖିଯିବା ପରେ ସିନ୍ଦୂର ବୋଳାଯାଏ । ପ୍ରଥମେ ଏକ ଖଟୁଲିରେ କିଛି ନୂଆଧାନ ରଖାଯାଏ । ସିନ୍ଦୂର ବୋଳାଯାଇଥିବା ମାଣ ବା ଗଉଣୀକୁ ଲକ୍ଷ୍ମୀ ଦେବୀଙ୍କର ପ୍ରତୀକ ସ୍ୱରୂପ ନୂଆ ଧଳାଧାନରେ ପୂର୍ଣ୍ଣକରି ତା' ଉପରେ ଗୁଆ ରଖାଯାଏ । ସେହି ମାଣକୁ ଖଟୁଲି ଉପରେ ବସାଇ ତା'ଉପରେ ଧାନବେଣୀ ରଖି ନୂତନ ପାଟଲୁଗାର ଓଢ଼ଣୀ ଢଙ୍କାଯାଏ । ଲକ୍ଷ୍ମୀଙ୍କୁ ଏକ ନବବଧୂ ବେଶରେ ସଜାଯାଇ ଚନ୍ଦନ ସିନ୍ଦୂର ଆଦି ଦେଇ ସ୍ଥାପନା କରାଯାଏ । ବିଧି ଅନୁଯାୟୀ ଖଟୁଲି ଉପରେ ଲକ୍ଷ୍ମୀଙ୍କର କାଠରେ ନିର୍ମିତ ପ୍ରତିମା, ପାନିଆଁ, ଆଇନା, କଜ୍ଜଳ ଏବଂ ଖଟୁଲି ପାଖରେ ଆଖୁ, ମୂଳା ନିକଟରେ ରଖାଯାଇଥାଏ ।[୫]

ଭୋଗସମ୍ପାଦନ କରନ୍ତୁ

 
ଲକ୍ଷ୍ମୀଙ୍କୁ ଅର୍ପିତ ଭୋଗ

ପୂଜା କାଳରେ ଧୂପ, ଦୀପ ଓ ନୈବେଦ୍ୟ ଆଦି ଅର୍ପଣ କରାଯାଏ ଲକ୍ଷ୍ମୀଙ୍କ ପାଖରେ । ପିଠାପଣା ଓ ଫଳମୂଳ ଭୋଗ (କଦଳୀ, ଛେନା, ନଡ଼ିଆ, ଗୁଡ଼, ଗୋଲମରିଚ ଓ ଅନ୍ୟାନ୍ୟ ଫଳ ) ଲକ୍ଷ୍ମୀଙ୍କ ପାଖରେ ଲଗାଯାଏ ।[୮] ଏଥି ସହିତ ମଣ୍ଡା ପିଠା ତିଆରି କରାଯାଇ ଭୋଗ ଦିଆଯାଇଥାଏ । ବିଭିନ୍ନ ପାଳିରେ ଭିନ୍ନ ଭିନ୍ନ ପିଠାପଣା ପ୍ରସ୍ତୁତ କରି ଲକ୍ଷ୍ମୀଙ୍କୁ ପାଖରେ ଲାଗି କରାଯାଇଥାଏ । ଲକ୍ଷ୍ମୀଙ୍କୁ ଧୂପ, ଦୀପ, ନେବେଦ୍ୟ ସହ ବାଳଭୋଗରେ ଛୋନା, ଗୁଡ଼, ନଡ଼ିଆ, କଦଳୀକୁ ଚକଟି ଭୋଗ ଲଗାଯାଏ । ୩ ଧୂପ ମଧ୍ୟରୁ ଏହାକୁ ବାଳଧୂପ କୁହାଯାଏ । ଏହାପରେ ମଧ୍ୟାହ୍ନ ଧୂପପାଇଁ ପ୍ରସ୍ତୁତି ଆରମ୍ଭ ହୁଏ । ମଧ୍ୟାହ୍ନରେ ଶଙ୍କୁଡ଼ି ଧୂପରେ ଲାଗିହେବା ପାଇଁ ଖିରି ବା ତରଣ, ଚକୁଳିପିଠା, ତରକାରି ଇତ୍ୟାଦି ପ୍ରସ୍ତୁତ କରାଯାଇ ଶ୍ରଦ୍ଧାର ସହ ଭୋଗ ଲଗାଯାଏ । ମଧ୍ୟାହ୍ନ ଭୋଗପରେ ମା’ଙ୍କ ସମ୍ମୁଖରେ ଲକ୍ଷ୍ମୀ ପୁରାଣ ବୋଲାଯାଏ । ଏହି ଭୋଗ ଘରର ପ୍ରତ୍ୟେକ ସଦସ୍ୟ ଖାଇଥାନ୍ତି । ଏହିଭୋଗକୁ ପରିବାର ଛଡ଼ା ଅନ୍ୟ କାହାକୁ ନଦେବାର ନିୟମ ଅଛି । ଗୋଧୂଳି ସମୟରେ ସନ୍ଧ୍ୟା ଧୂପରେ ଆଉଥରେ ବାଳଧୂପପରି ଭୋଗ ଲଗାଯାଇ ସଧ୍ୟା ପୂଜା କରାଯାଏ । ୨ୟ ଗୁରୁବାରରେ ଚିତଉପିଠା, ଦହିକାଲୁଆ, ୩ୟରେ ଖେଚୁଡ଼ି-ଡାଲମା ଏବଂ ୪ର୍ଥରେ ମଣ୍ଡା ପିଠା ଭୋଗ ଲାଗି ହୋଇଥାଏ।

ମାର୍ଗଶିର ମାସର ଶେଷ ଗୁରୁବାର ଦିନ ବ୍ରତ ସାରି ଉଜୁଆ ଯାଏ । ଏହି ଦିନ ପୂର୍ବଭଳି ସମସ୍ତ ନୀତିରେ ମାଣ ବସାଇ ମଣ୍ଡା ପିଠା ଓ ଖିରି ଭୋଗ କରାଯାଏ । ସଞ୍ଜ ଭୋଗ ପରେ ସେହି ମାଣରେ ଥିବା ଧାନକୁ ଆଉ ଏକ ଜାଗାରେ ଅଜାଡ଼ି ରଖାଯାଏ । ପୂଜାର ଅନ୍ୟ ସମସ୍ତ ସଜକୁ ସହକାରେ ନେଇ ପୋଖରୀ ଆଦି ଜଳାଶୟରେ ବିସର୍ଜନ କରାଯାଏ । ପୂଜାରେ ବ୍ୟବହୃତ ଧାନକୁ କୁଟି ସେହି ଚାଉଳରେ ଖିରି ବା ଜାଉ ରାନ୍ଧି କେବଳ ଘର ଲୋକଙ୍କ ମଧ୍ୟରେ ଖିଆଯାଏ । ଏହିପରି ଲକ୍ଷ୍ମୀଙ୍କୁ ଆବାହନ କରିବାଠାରୁ ବିସର୍ଜନ କରାଯିବା ପର୍ଯ୍ୟନ୍ତ ସମସ୍ତ ବିଧି ବିଧାନକୁ ପାଳନ କରି ଘରର ବିବିଧ ଉନ୍ନତି କାମନା କରାଯାଏ ।[୫]

ଅଧିକ ପଠନସମ୍ପାଦନ କରନ୍ତୁ

ଆଧାରସମ୍ପାଦନ କରନ୍ତୁ

  1. ସୂର୍ଯ୍ୟପ୍ରଭା, ପୃଷ୍ଠା-୯, ୬.୧୨.୧୨
  2. "ମାଣବସା ଗୁରୁ ବାର" (PDF). Retrieved 13 November 2014.
  3. କାନୁନ୍‌ଗୋ, ପଞ୍ଚାନନ (୨୦୧୪). ସଂସ୍କୃତି ବୈଭବ. Check date values in: |date= (help)
  4. "ମାଣବସା ଗୁରୁବାର". ଆମ ବିବେକ. Retrieved 13 November 2014.
  5. ୫.୦ ୫.୧ ୫.୨ "ମାଣବସା ଗୁରୁବାର". Odishaviews.com. Retrieved 13 November 2014.
  6. "Manabasa Gurubar Lakshmi puja , Manabasa Gurubar Festival, Manabasa Gurubar Festivals of Orissa". puribeachresorts.com. Retrieved 6 December 2012. a pot made of bamboo canes used in the olden days for measuring paddy (known as mana) is filled up to the brink with freshly harvested paddy.
  7. Jyoshnarani Behera (1997). Political Socialization of Women: A Study of Teenager Girls. Atlantic Publishers & Dist. pp. 77–. ISBN 978-81-85495-21-7.
  8. "Orissa Lakshmi Puja, Lakshmi Puja in Orissa, Manabasa Gurubar in orissa". traveladda.com. Retrieved 6 December 2012. the floors are bedecked with stunning floral designs. These unique designs are known as Jhoti.

ଅଧିକ ତଥ୍ୟସମ୍ପାଦନ କରନ୍ତୁ